କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

Cuttack Bali Yatra got national recognition

0 102

ଭୁବନେଶ୍ୱର, : କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିଛି । ଏ ନେଇ ପୂର୍ବରୁ ବିଭିନ୍ନ ମହଲରୁ ଦାବି କରାଯାଇଥିଲା । କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ପରେ କଟକ ସହର ସମେତ ସାରା
ରାଜ୍ୟରେ ଖୁସିର ଲହରୀ ଖେଳିଯାଇଛି । କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ନେଇ ସୂଚନା ଜାରି କରାଯାଇଛି । ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ
ନାମରେ ମଧ୍ୟ ଜଣା) ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ
ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା, ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ । କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି   ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ । ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ ।

Leave A Reply

Your email address will not be published.