କୃଷକ କଲ୍ୟାଣ କାର୍ଯ୍ୟକ୍ରମରୁ ନୂଆ ଆର୍ଥିକ ବର୍ଷ ଆରମ୍ଭ : ଚାଷୀ ଆମ ଅର୍ଥନୀତିର ମହାଶକ୍ତି

0 76

-୩୪ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୬୯୩.୯୪ କୋଟି

ଭୁବନେଶ୍ୱର: ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ୩୪ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୬୯୩.୯୪ କୋଟି ଟଙ୍କା ରବି ଋତୁ ପାଇଁ ଜମା କରାଯାଇଛି । କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ପବିତ୍ର ଓଡ଼ିଶା ଦିବସ । ଆମ ସମସ୍ତଙ୍କ ପାଇଁ ଏକ ଆନନ୍ଦର ଦିନ । ଏହି ଅବସରରେ ଆମର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ ମୋର ଅଭିନନ୍ଦନ ଜଣାଉଛି ।

ଆଜିଠାରୁ ମଧ୍ୟ ଆମର ନୂଆ ଆର୍ଥିକ ବର୍ଷ ଆରମ୍ଭ ହେଉଛି । ମହାତ୍ମା ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଚାଷୀଙ୍କ କଲ୍ୟାଣ କାର୍ଯ୍ୟକ୍ରମରୁ ହିଁ ମୁଁ ଆଜି ନୂଆ ଆର୍ଥିକ ବର୍ଷ ଆରମ୍ଭ କରୁଛି । କାଳିଆ ଯୋଜନା ଆମର ଏକ ଗୁରୁତ୍ୱପୂର୍ଣ୍ଣ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ । ଆଜି ଆମର ୩୪ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାକୁ କାଳିଆ ଯୋଜନାରେ ୭୦୦ କୋଟି ଟଙ୍କା ଜମା କରାଗଲା ।

ସୂଚନାଯୋଗ୍ୟ, କାଳିଆ ଯୋଜନାରେ ସରକାର ୩୭ ଲକ୍ଷ ଚାଷୀଙ୍କୁ ସାମିଲ୍ କରିଛନ୍ତି । ସେଥିରେ ୧୭ ଲକ୍ଷ ଭୂମିହୀନ ଗରିବ ଅଛନ୍ତି । ଦେଶର ଏକମାତ୍ର ଯୋଜନା ଭାବେ କାଳିଆ ଭୂମିହୀନ ଗରିବଙ୍କ ସହ ଚାଷୀଙ୍କୁ ସହାୟତା ପ୍ରଦାନ କରୁଛି । ଚାଷୀର ତ୍ୟାଗ ଓ ସ୍ୱାଭିମାନ ହିଁ ଆଜି ଓଡ଼ିଶାର ସ୍ୱାଭିମାନ ବୃଦ୍ଧି କରିଛି । ଓଡ଼ିଶାର ଚାଷୀ ଆଜି ଅନ୍ୟ ରାଜ୍ୟକୁ ଖାଦ୍ୟ ଯୋଗାଉଛି ।

କୃଷି କର୍ମଣ ପୁରସ୍କାର ପାଇ ଓଡ଼ିଶା ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୂନ ପ୍ରତିଶତ ସୁଧରେ ଚାଷୀଙ୍କୁ ଋଣ, ନୂଆ କୃଷି ନୀତି ଆଦି ଅନେକ କାର୍ଯ୍ୟକ୍ରମ ଆମର ଚାଷୀ ଭାଇଙ୍କୁ ଉତ୍ସାହିତ କରିଛି । ଆମ ଚାଷୀ ଭାଇଭଉଣୀଙ୍କ ପାଇଁ ମୁଁ ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଚାଷୀ ଆମ ଅର୍ଥନୀତିର ମହାଶକ୍ତି ।

କୋଭିଡ୍ ସମୟରେ ଚାଷୀ ଭାଇ ହିଁ ଆମର ଅର୍ଥନୀତିକୁ ରକ୍ଷା କରିଛି । ତେଣୁ ଚାଷୀକୁ ଅଣଦେଖା କରି ବିକାଶ କଥା ଚିନ୍ତା କରାଯାଇ ନ ପାରେ । ମୁଖ୍ୟମନ୍ତ୍ରୀ କହିଛନ୍ତିମୁଁ ସବୁବେଳେ ଚାଷୀ ଭାଇଭଉଣୀମାନଙ୍କ ସହ ରହିଛି । ସେମାନଙ୍କ ପାଇଁ କାମ କରୁଛି ଓ କରି ଚାଲିବି । ଦେଢ ଗୁଣ ଏମ୍‌ଏସ୍‌ପି କାହାର ଦୟା ନୁହେଁ । ଏହା ଚାଷୀର ହକ୍ । ଚାଷୀକୁ ତାର ହକ୍ ଦେବାପାଇଁ ଆମର ଲଢେଇ ଜାରି ରହିଛି ।

ସ୍ୱାମୀନାଥନ୍ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ପାଇଁ ଆମର ଦାବି ଜାରି ରହିବ । ସବୁ କଠିନ ପରିସ୍ଥିତିରେ ଚାଷୀ ଦେଶ ପ୍ରତି ତାର ଦାୟିତ୍ୱ ନିଷ୍ଠାର ସହ କରିଚାଲିଛି । ଚାଷୀର ତ୍ୟାଗ ଓ ପରିଶ୍ରମକୁ ପ୍ରଣାମ ଜଣାଉଛି । ମାଟି ମା’ ପାଇଁ ଚାଷୀର ତ୍ୟାଗ ଅମୂଲ୍ୟ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ । କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଅରୁଣ ସାହୁ କାଳିଆ ଯୋଜନାକୁ ଦେଶ ପାଇଁ ଏକ ମଡେଲ ଭାବରେ ବର୍ଣ୍ଣନା କରି ଚାଷୀଙ୍କୁ ଆଗକୁ ବଢିବା ପାଇଁ ସୁବର୍ଣ୍ଣ ସୁଯୋଗ ସୃଷ୍ଟି କରିଛି ବୋଲି କହିଥିଲେ ।

କୃଷି ଉତ୍ପାଦନ କମିଶନର ରାଜକୁମାର ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ । ପିପିଲି ନିର୍ବାଚନ ଯୋଗୁଁ ପୁରୀ ବ୍ୟତୀତ ସବୁ ଜିଲ୍ଲାର ଚାଷୀଙ୍କୁ ବର୍ତ୍ତମାନ କାଳିଆ ସହାୟତା ଦିଆଯାଇଛି ।

Leave A Reply

Your email address will not be published.