ମୁଖ୍ୟମନ୍ତ୍ରୀଙ୍କ ୧୬୯୦ କୋଟିର କୋଭିଡ୍ ସହାୟତା : ଉପକୃତ ହେବେ ଆର୍ଥିକ ଦୁର୍ବଳ ଶ୍ରେଣୀ

78

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ୧୬୯୦କୋଟି ୪୬ଲକ୍ଷ ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି । ଏହାଦ୍ୱାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ଗରିବ ଲୋକ,ଆଦିମ ଜନଜାତି, ଏନ୍ଆରଇଜିଏ ଶ୍ରମିକ, ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ ମହାମାରୀ ଦ୍ୱାରା ସମାଜର ସବୁବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । କିନ୍ତୁ ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି । କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ୱସ୍ତି ଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ସେ ପୁଣି କହିଛନ୍ତି କୋଭିଡର ଦ୍ୱିତୀୟ ଲହର ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପର୍ଯ୍ୟାୟକ୍ରମେ ଗତ ଦୁଇମାସ ହେଲା ଲକ୍ଡାଉନ୍ ଜାରି ରହିଛି । ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି । ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ୍ ଘୋଷଣା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ପ୍ୟାକେଜ୍ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ୱତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିପରି କୋଭିଡ ଲକ୍ଡାଉନ୍ ସମୟରେ ସହରାଞ୍ଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥାମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ । ଏନ୍ଆରଇଜିଏସ୍ ଯୋଜନାରେ କାମ କରୁଥିବା ଶ୍ରମିକମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ଦିଆଯିବ । ଅପ୍ରେଲ ୨୧ରୁ ଜୁନ୍ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରି ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ ।

ସୂଚନାଯୋଗ୍ୟ ଯେ ଏହି ସମୟ ମଧ୍ୟରେ ଏନ୍ଆରଇଜିଏସ୍ ଯୋଜନାରେ ୬ କୋଟି ମାନବ ଦିବସ ସୃଷ୍ଟି
କରାଯାଇଛି । ଖାଦ୍ୟ ନିରାପତ୍ତା ସବୁବେଳେ ରାଜ୍ୟ ସରକାରଙ୍କର ପ୍ରାଥମିକତା ରହିଆସିଛି । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଓଡିଶାରେ ଆମର ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି । ସେମାନଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ ।

ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ୨୧ରୁ ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ସେମାନଙ୍କ ପ୍ରି-ମ୍ୟାଟ୍ରିକ୍ ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଏବଂ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ । ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏ ସ୍ୱତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ସ୍ୱତନ୍ତ୍ର ବିଦ୍ୟାଳୟମାନଙ୍କରେ ପଢୁନଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଏହାଦ୍ୱାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଘରେ ରହି ଅନ୍ଲାଇନ୍ ଜରିଆରେ ପାଠ ପଢୁଥିବା ସ୍ୱତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କର ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ । ଏହାଦ୍ୱାରା ୬୪୭୧ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଅପ୍ରେଲରୁ ଜୁନ୍ ୨୧ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ର ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏଁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଅପ୍ରେଲ ୨୧ରୁ ଜୁନ୍ ୨୧ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏଁ ମାସିକ ଅନୁଦାନ ଯୋଗାଇ ଦିଆଯିବ । ଏଥିପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାଯାଇଛି ।

Comments are closed.