ତୃତୀୟ ଲହର ପାଇଁ ସତର୍କ ରୁହ

0 77

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥାର ଭିତ୍ତି ପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର ଉଦ୍ଘାଟନ କରିଛନ୍ତି । ଏହି ୮ଟି ଜିଲ୍ଲା ହେଉଛି ଝାରସୁଗୁଡା, ଭଦ୍ରକ,ଜଗତସିଂହପୁର, ପୁରୀ, ସୋନପୁର,ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଞ୍ଜ ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ ୭ ଓ ଆଜି ୮ଟି ପିଏସଏ ପ୍ଲାଣ୍ଟର ଭିତ୍ତ୍ରିସ୍ତର ରଖାଯାଇଛି । ଏହି ୨୦ଟି ପ୍ଲାଣ୍ଟ ଦ୍ୱାରା ମିନିଟ୍ ପ୍ରତି ୨୪ ହଜାର ଲିଟର ମେଡିକାଲ ଅକ୍ସିଜେନ ଉତ୍ପାଦିତ ହୋଇପାରିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି । ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ । ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

ଏହା ସହିତ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି । ଅପ୍ରେଲରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଲହରରେ ରୋଗୀଙ୍କ ଅକ୍ସିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ତେଣୁ ଆମର ସବୁ ହସ୍ପିଟାଲରେ ଅକ୍ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି । ପ୍ରତ୍ୟେକ ଜୀବନ ମୂଲ୍ୟବାନ୍-ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର । କୋଭିଡ କ୍ଷେତ୍ରରେ ମଧ୍ୟ ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଗଧାଡିରେ ରହି କାମ କରୁଥିବା ସମସ୍ତ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି ।

ପରିଶେଷରେ ସମସ୍ତଙ୍କ ସହଯୋଗରେ ଓଡିଶା ସହିତ ସାରା ମାନବ ଜାତି କୋଭିଡ ଲଢେଇରେ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ୱାସ ପ୍ରକଟ କରିଛନ୍ତି । ଏହି ଅବସରରେ ବିଭିନ୍ନ ଜିଲ୍ଲାରୁ ମନ୍ତ୍ରୀ ଏବଂ ବିଧାୟକମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି । ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା, ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

Leave A Reply

Your email address will not be published.