ଅମ୍ଳଜାନ ସଂରକ୍ଷଣ ଓ ଉତ୍ପାଦନ କାରଖାନା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

71

ଭୁବନେଶ୍ୱର : ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଅପସରି ଯାଉଥିବା ବେଳେ ଖୁବ୍ଶୀଘ୍ର ତୃତୀୟ ପ୍ରବାହ ଆସିବା ନେଇ ଆଶଙ୍କା ରହିଛି । ଏଭଳି ସ୍ଥିତିରେ କରୋନା ମୁକାବିଲା ରାଜ୍ୟ ସରକାର ଜୋରଦାର କରିବା ସହ ସ୍ୱାସ୍ଥ୍ୟ ସୁରକ୍ଷାକୁ ଅଗ୍ରାଧିକାର ଦେଉଛନ୍ତି । ଏହିକ୍ରମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ୍ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି । ଏଥିସହିତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ । ଅନୁଗୁଳ, ବୌଦ୍ଧ, ଦେବଗଡ,ଢେଙ୍କାନାଳ, ଗଜପତି, ଭବାନୀପାଟଣା ଓ ନୂଆପଡା ଜିଲ୍ଲାରେ ଏନେଇ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ । ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍ପିଟାଲରେ ଅକ୍ସିଜେନ୍ ପାଇପ ସଂଯୁକ୍ତ କୋଭିଡ ୱାର୍ଡ, ପାଲଲହଡ଼ା ଉପଖଣ୍ଡ ହସ୍ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅକ୍ସିଜେନ ପାଇପ୍ ସଂଯୁକ୍ତ ଆଇସୋଲେସନ୍ ୱାର୍ଡ ଓ ତା’ ସହିତ ଦେବଗଡ ରାଜମୁଣ୍ଡାସ୍ଥିତ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟିକାଭଣ୍ଡାର ଗୃହର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ପାଇଁ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ହେଉଛି ସର୍ବାଧିକ ପ୍ରାଥମିକତା । ଜଣେ ବି କୋଭିଡ ରୋଗୀ ଯେପରି ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ଆମେ କାମ କରୁଛୁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ସମସ୍ତ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡି କର୍ମୀମାନଙ୍କୁ ପୁଣିଥରେ ଧନ୍ୟବାଦ ଦେଇଥିଲେ ।

ସେ ଆହୁରି କହିଛନ୍ତି ଯେ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ । ଏହାସହିତ ଭିତ୍ତିଭୂମି କ୍ଷେତ୍ରରେ ଯେଉଁ କାମ ହେଉଛି, ତାହାଦ୍ୱାରା କୋଭିଡ୍ ବିରୋଧରେ ଆମର ଲଢେଇ ଆହୁରି ମଜବୁତ୍ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଉପବାଚସ୍ପତି ରଜନୀକାନ୍ତ ସିଂହ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଢେଙ୍କାନାଳ ସାଂସଦ ମହେଶ ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟୀ ଓ ଦକ୍ଷ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ।

Comments are closed.