ନିର୍ମାଣ ଶ୍ରମିକ ଜଣେ ଜଣେ ବିଶ୍ୱକର୍ମା : ୨୬ ଲକ୍ଷ ଶ୍ରମିକଙ୍କୁ ୩୮୫ କୋଟିର ସହାୟତା

60

ଭୁବନେଶ୍ୱର : ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ । ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି । ଆଜି ନିର୍ମାଣ ଶ୍ରମିକମାନଙ୍କୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କୋଭିଡ୍ ସହାୟତା ପ୍ରଦାନ କରିବା ସହ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପ୍ୟାକେଜ୍ରେ ପ୍ରତି ପଞ୍ଜିକୃତ ନିର୍ମାଣ ଶ୍ରମିକ ୧୫୦୦ ଟଙ୍କା ଲେଖାଏଁ ପାଇଛନ୍ତି । ଗତବର୍ଷ ମଧ୍ୟ କୋଭିଡର ପ୍ରଥମ ଲହର ସମୟରେ ନିର୍ମାଣ ଶ୍ରମିକମାନଙ୍କୁ ୧୫୦୦ ଟଙ୍କା ଲେଖାଏଁ ଦିଆଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ ସମୟରେ ଏହି ସହାୟତା ନିର୍ମାଣ ଶ୍ରମିକଙ୍କ ଅସୁବିଧାକୁ ହ୍ରାସ କରିବାରେ ସହାୟକ ହେବ ।

ଅର୍ଥନୀତିରେ ଶ୍ରମିକମାନଙ୍କ ଗୁରୁତ୍ୱ ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶ୍ରମିକମାନଙ୍କ କଲ୍ୟାଣ ବିନା ଅର୍ଥନୀତି କେବେ ବି ସମୃଦ୍ଧ ହୋଇପାରିବ ନାହିଁ । ନିର୍ମାଣ ଶ୍ରମିକମାନଙ୍କୁ ଜଣେ ଜଣେ ବିଶ୍ୱକର୍ମା ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନ୍ୟର ସୁବିଧା ପାଇଁ ସେମାନେ ନିଜ ସୁଖକୁ ଭୁଲିଯାନ୍ତି । ଖରାକୁ ପିଠି ଦେଖାଇ ବଡ ବଡ କୋଠା ତିଆରି କରନ୍ତି । ନିଜେ ଜଳି ଅନ୍ୟକୁ ଆଲୋକ ଦେଖାନ୍ତି । ନିଜେ ଅସୁବିଧାରେ ରହି ଅନ୍ୟ ପାଇଁ ଭଲ ଘର ତିଆରି କରନ୍ତି । ରାସ୍ତା, ସେତୁ ଆଦି କରନ୍ତି । ବିକାଶର ପ୍ରତିଟି ପୃଷ୍ଠାରେ ରହିଛି ଆମର ନିର୍ମାଣ ଶ୍ରମିକମାନଙ୍କର ତ୍ୟାଗ ଓ ପରିଶ୍ରମର କାହାଣୀ । ଗରିବ ଲୋକର ତ୍ୟାଗକୁ ସମ୍ମାନ ଦ୍ୱାରା ହିଁ ଆମେ ବିକାଶ ସହ ସମସ୍ତଙ୍କ ଯୋଡି ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ସହାୟତା ପାଇଥିବାରୁ ନିର୍ମାଣ ଶ୍ରମିକମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ । ଗଞ୍ଜାମର ରବୀନ୍ଦ୍ର ପ୍ରଧାନ, କଟକର ନବଘନ ପରିଡା, ବରଗଡର କେଶବ ପ୍ରଧାନ, ସୁନ୍ଦରଗଡର ରେଣୁ ମିଞ୍ଜ, ସମସ୍ତଙ୍କ ମୁହଁରେ ଗୋଟିଏ ଭାଷା ଥିଲା-ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଆଜ୍ଞା । ଆପଣଙ୍କ ସହାୟତା ଆମକୁ ଏ ବିପଦ ସମୟରେ ବଞ୍ଚିବାର ରାହା ଦେଇଛି । ଗତବର୍ଷ ୧୫୦୦ ଟଙ୍କା ପାଇଥିଲୁ, ଏ ବର୍ଷ ମଧ୍ୟ ପାଇଲୁ । ତା ସହିତ ପିଲାଙ୍କ ପାଠପଢା, ସାଇକେଲ, ଝିଅ ବାହାଘର ସବୁ ସମୟରେ ଆମେ ସହାୟତା ପାଉଛୁ ବୋଲି ଖୁସିରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ସେମାନଙ୍କୁ କେତେ ଟଙ୍କା ପାଇଛ ବୋଲି ପଚାରି ବୁଝିଥିଲେ ।

କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରମ ଓ ଇଏସ୍ଆଇ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ନିର୍ମାଣ ଶ୍ରମିକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ, ଶ୍ରମ ଆଇନର କାର୍ଯ୍ୟକାରିତା ଓ ନାଗରିକ କେନ୍ଦ୍ରିକ ଯୋଜନା ଉପରେ ଆଲୋକପାତ କରିଥିଲେ । ଓଡିଶା କୋଠାବାଡି ଓ ଅନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ କହିଥିଲେ ଯେ, ବୋର୍ଡ ଅଧୀନରେ ନିର୍ମାଣ ଶ୍ରମିକମାନଙ୍କ ପାଇଁ ୩୨ଟି ଯୋଜନା କାର୍ଯ୍ୟକାରୀ କରାଯାଉଛି ଏବଂ ଏହିସବୁ ସେବାକୁ ୫-ଟି ଜରିଆରେ ଦକ୍ଷତାର ସହ ତୁରନ୍ତ ଯୋଗାଇ ଦିଆଯାଉଛି । ଏହି କାର୍ଯ୍ୟକ୍ରମରେ ବ୍ରଜରାଜନଗରର ବିଧାୟକ କିଶୋର ମହାନ୍ତି ଓ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ ପ୍ରମୁଖ ସେମାନଙ୍କର ମତାମତ ରଖି ଏହି ଗରିବ ଓ ଶ୍ରମିକ କଲ୍ୟାଣ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Comments are closed.