ସ୍ୱାସ୍ଥ୍ୟସେବା ଇତିହାସରେ ନୂଆ ଯୁଗ ଆରମ୍ଭ : ସ୍ମାର୍ଟ କାର୍ଡ ବିପଦର ବନ୍ଧୁ

64

-ଉପକୃତ ହେବେ ୨୧ ଲକ୍ଷ ୪୦ ହଜାର ହିତାଧିକାରୀ
-୨୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ
-ସବୁ ପରିବାରକୁ ପାଇପ୍ ପାଣି ଯୋଗାଇବାକୁ ପ୍ରତିଶ୍ରୁତିବଦ୍ଧ

ଭୁବନେଶ୍ୱର/ବାରିପଦା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୨୧ ଲକ୍ଷ ୪୦ ହଜାର ଲୋକ ଏହି ସୁବିଧା ପାଇବେ । ପୂର୍ବରୁ ରାଜ୍ୟର ୬ଟି ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ଅବସରରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେପ୍ଟେମ୍ବର ୨୦୨୧ ଓଡିଶାର ସ୍ୱାସ୍ଥ୍ୟସେବା ଇତିହାସରେ ଏକ ନୂଆ ଯୁଗ ଆରମ୍ଭ କରିଛି । ସେପ୍ଟେମ୍ବର ପହିଲାରୁ ଓଡିଶାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ଜରିଆରେ ସ୍ୱାସ୍ଥ୍ୟସେବା ପ୍ରଦାନ ଆରମ୍ଭ ହୋଇଛି । ଏହି କାର୍ଡଟି ବିପଦ ସମୟର ପ୍ରକୃତ ବନ୍ଧୁ ବୋଲି କହିଥିଲେ । ଏହାଦ୍ୱାରା ଜନସାଧାରଣଙ୍କ ଜୀବନରେ ବଡ ପରିବର୍ତ୍ତନ ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂଠାରୁ ଆରମ୍ଭ କରି ଟ୍ରିଟ୍ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ୱାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇ ପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସାବାଲା-ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ । ମୟୁରଭଞ୍ଜ ଜିଲ୍ଲାରେ ବିକାଶ କାମକୁ ତ୍ୱରାନ୍ୱିତ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ଜୁଲାଇରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପରେ କେନାଲରୁ ପାଣି ଛଡା ଯାଇଥିବାବେଳେ ୯୪ଟି ଗାଁର ୧୫ ହଜାର ହେକ୍ଟର ଜମି ପାଣି ପାଉଛି । ସେହିପରି ମୟୁରଭଞ୍ଜର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦେବା ପାଇଁ ୩୨୦୦ କୋଟି ଟଙ୍କାର ମେଗା ପାଇପ ପାଣି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଧାରାକୁ ଆଗେଇ ନେଇ ଆଜି ଆହୁରି ୨୩୦୦ କୋଟି ଟଙ୍କାର ୫୦୦ରୁ ଅଧିକ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ଦିଆଯାଉଛି ବୋଲି ସେ ପ୍ରକାଶ କରିଥିଲେ ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମୟୁରଭଞ୍ଜ ମାଟିରେ ଜନ୍ମ ନେଇଥିବା ମହାପୁରୁଷ ଓ ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ମହାରାଜା ପୂର୍ଣ୍ଣଚନ୍ଦ୍ର ଭଞ୍ଜଦେଓ, ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଅବଦାନକୁ ମନେ ପକାଇବା ସହ ଭାଷା ଓ ଜାତିକୁ ସଶକ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ପଣ୍ଡିତ ରଘୁନାଥ ମୁର୍ମୁ, ଗୁରୁ ରୋହିଦାସ ସିଂ ନାଗ ଓ ଗୁରୁ ଲାକୋ ବଦ୍ରାଙ୍କ ଅବଦାନକୁ ସ୍ମରଣ କରିଥିଲେ । ମୟୁରଭଞ୍ଜର କଳା ଓ ସାହିତ୍ୟର ଉଚ୍ଚପ୍ରଶଂସା କରି ଝୁମର ଗୀତ ଓ ଛଉ ନାଚର
ପ୍ରସିଦ୍ଧି ସଂପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଯୋଗଦେଇ ରାଜ୍ୟରେ ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ୱ ଯୋଗୁ ଓଡିଶା କରୋନା ସମୟରେ ୧୮ଟି ରାଜ୍ୟକୁ ଅକ୍ସିଜେନ ଯୋଗାଇ ବହୁ ଜୀବନ ରକ୍ଷା କରିପାରିଥିଲା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ ।

Comments are closed.