୧୪୨ ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ : ପିଲାଙ୍କ ପ୍ରତିଭାର ବିକାଶ ମୁଖ୍ୟ ଦାୟିତ

73

ଭୁବନେଶ୍ୱର : ସ୍କୁଲ ରୂପାନ୍ତର ପର୍ବ ଆଜିଠାରୁ ଆରମ୍ଭ ହୋଇଯାଇଛି । ୫-ଟି ସ୍କୁଲ ରୂପାନ୍ତରିଣ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି । ସାତଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ୱର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ପୂର୍ବରୁ ଗତ ଅଗଷ୍ଟରେ ହିଞ୍ଜିଳିର
୫୦ଟି ରୂପାନ୍ତରିତ ସ୍କୁଲର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ । ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ୱରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି ।

ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ । ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ, ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ୱ । ମୁଖ୍ୟମନ୍ତ୍ରୀ କହିଲେ, ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ । ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ ପ୍ରଯୁକ୍ତିବିଦ୍ୟା ବିଷୟରେ ଜାଣନ୍ତୁ । ବଡ ବଡ ସ୍ୱପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମନା କରିବା ପାଇଁ ଆତ୍ମବିଶ୍ୱାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ । ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ୱତନ୍ତ୍ର ହୋଇରହିବ । ମୁଁ ବହୁତ ଖୁସି ଯେ ରୂପାନ୍ତରର ପ୍ରଥମ ପର୍ଯ୍ୟାୟରେ ରୂପାନ୍ତର ହୋଇଥିବା ୧୦୨୫ ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ କରାଗଲା । ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ ।

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ । ୫-ଟି ହେଲା ଟେକ୍ନୋଲେଜି,ଟିମ୍ ୱାର୍କ, ଟାଇମ୍, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍ । ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲୋଜି ଆମକୁ ସ୍ମାର୍ଟ କ୍ଲାସରୁମ୍, ଇ-ଲାଇବ୍ରେରୀ, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍ ୱାର୍କ । ତୃତୀୟ ନୀତି
ହେଉଛି ଟାଇମ୍ ବା ସମୟ । ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି । ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ୱାରା ଏହା ଆଜି ଠିକ୍ ସମୟରେ ଶେଷ ହୋଇପାରିଛି । ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ୱଚ୍ଛତା । ସ୍କୁଲମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ୱଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ୱପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି । ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ୱାସ, ତୁମେମାନେ ଭଲ ପାଠପଢି, ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ । ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ । ସୁନ୍ଦରଗଡର ଛ୍ରାତ୍ରୀ ସିରିନ୍ କୌସର୍, ନବରଙ୍ଗପୁରର ନାଗେଶ୍ୱରୀ ପାଣିଗ୍ରାହୀ,ବାଲେଶ୍ୱରର ଅଭିଲିପ୍ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର ଓ କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କୁଲର ପରିବେଶ ଓ ଶିକ୍ଷା ସୁବିଧାର ପରିବର୍ତ୍ତନରେ ସେମାନେ ଖୁସି । ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କ’ଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ
ଉତ୍ସାହିତ ହୋଇ ଆଇଏଏସ୍ ଅଫିସର, ଆଇପିଏସ, ବୈଜ୍ଞାନିକ, ଡାକ୍ତର ଓ ଇଞ୍ଜିନିୟର ହେବେ ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ସୁନ୍ଦରଗଡରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ନବରଙ୍ଗପୁରରେ ସାଂସଦ ରମେଶ ଚନ୍ଦ୍ର ମାଝୀ, ବାଲେଶ୍ୱରରେ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ସାଂସଦ ଅଚ୍ୟୁତାନନ୍ଦ ସାମନ୍ତ ଏବଂ କଟକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଜିଲ୍ଲାର ବିଧାୟକମାନେ ଯୋଗଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ । ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସୁସ୍ମିତା ବାଗ୍ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସ୍ୱାଗତ ଭାଷଣ ଦେଇଥିଲେ ।

Comments are closed.