ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡ଼ିହେଲା ସାରା ଓଡ଼ିଶା

0 66

-ସାଢ଼େ ତିନିକୋଟି ଓଡ଼ିଆ ପାଇବେ ସୁବିଧା
-ମାଲକାନଗିରିରୁ ଆରମ୍ଭ ଯାଜପୁରରେ ଶେଷ

ଭୁବନେଶ୍ୱର : ମାଲକାନଗିରିରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତାର ଏ ଅଭିଯାନ ଆଜି ଯାଜପୁରରେ ଉଦ୍ୟାପିତ ହୋଇଛି । ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍ କାର୍ଡ କାର୍ଯ୍ୟକ୍ରମରେ । ରାଜ୍ୟର ଗରିବ ଲୋକଙ୍କ ପାଇଁ ସବୁଦିନ ପାଇଁ ଆଣିଛି ଚିକିତ୍ସା ଖର୍ଚ୍ଚରୁ ମୁକ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହାସହିତ ରାଜ୍ୟର ୩୦ଟି ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି । କେନ୍ଦ୍ରାପଡାର ସାଢେ ୧୧ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତାରୁ ଦୂର କରିବ । ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍ପିଟାଲରେ ବିନା ପଇସାରେ ପାଇପାରିବ ଚିକିତ୍ସା ସୁବିଧା । ଏହାଦ୍ୱାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲାରେ ୧୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । କେନ୍ଦ୍ରାପଡା ସହିତ ବିଜୁବାବୁଙ୍କର ସଂପର୍କକୁ ମନେ ପକାଇ ସେ କହିଛନ୍ତି ଯେ କେନ୍ଦ୍ରାପଡା ଥିଲା ବିଜୁବାବୁଙ୍କ କର୍ମଭୂମି । କେନ୍ଦ୍ରାପଡାବାସୀଙ୍କ ସୁଖଦୁଃଖରେ ସେ ସାମିଲ ଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ମଧ୍ୟ କେନ୍ଦ୍ରାପଡାର ମାଟି, ପାଣି ଓ ପବନରେ ବିଜୁବାବୁଙ୍କ ସ୍ମୃତି ଜଡିତ ହୋଇ ରହିଛି । କେନ୍ଦ୍ରାପଡାରେ ଶିଳ୍ପର ବିକାଶ ପାଇଁ ବହୁ ଦିନ ଧରି ଦାବି ଥିଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦ୍ରାପଡାରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବିଶ୍ୱ ପ୍ରସିଦ୍ଧ ଷ୍ଟିଲ କମ୍ପାନୀ ଆର୍ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି । ଏହାଦ୍ୱାରା କେନ୍ଦ୍ରାପଡା ଜିଲ୍ଲା
ଦେଶର ଶିଳ୍ପ ମାନଚିତ୍ରରେ ଯୋଡି ହେବ ବୋଲି ସେ କହିଛନ୍ତି । କେନ୍ଦ୍ରାପଡାର ଭୂମିହୀନ ଚାଷୀମାନଙ୍କ ପାଇଁ ବଳରାମ ଯୋଜନାରେ ୨୧ ହଜାର ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି ବୋଲି ପ୍ରକାଶ କରି ସେ କହିଛନ୍ତି ଯେ ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡିଶା ସାରା ଦେଶରେ ଏକ ନମ୍ବର । ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଯାଜପୁରର ମିଶନ ଶକ୍ତିର ମା’ମାନଙ୍କ କାମକୁ ପ୍ରଶଂସା କରି ସେ କହିଛନ୍ତି ଯେ ସେମାନଙ୍କର ବିଜିନେସକୁ ବଢାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି । ଭଲ ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ୱ ରହିଛି ବୋଲି ପ୍ରକାଶ କରି ସେ କହିଛନ୍ତି ଯେ ଯାଜପୁର ମ୍ୟୁନିସିପାଲିଟିର ସବୁ ପରିବାରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି । ବ୍ୟାସନଗର ସହିତ ଆଉ ୮ଟି ବ୍ଲକରେ ପାଇପ ପାଣି ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି । ସେହିପରି ବରି ଓ କୋରେଇ ବ୍ଲକ୍ ପାଇଁ ମଧ୍ୟ ପାଇପ ପାଣିର ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି ବୋଲି ସେ କହିଥିଲେ ।

୨୦୨୪ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ସେ ଘୋଷଣା କରିଥିଲେ । ସେ କହିଲେ ଯେ ଚଳିତବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ ବିଏସ୍କେଇ ସ୍ମାର୍ଟ ହେଲଥ୍ କାର୍ଡରେ ସେବା ପ୍ରଦାନ ଆରମ୍ଭ ହୋଇଛି । ସେହି ଦିନଠାରୁ ଓଡିଶାର ସ୍ୱାସ୍ଥ୍ୟସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ । ସେ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା-ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ । ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀମାନଙ୍କୁ ଏହି ସ୍ମାର୍ଟକାର୍ଡ ବିଷୟରେ ପଚାରିବାରୁ ସେମାନେ ଏ କାର୍ଡ ପାଇ ବହୁତ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାରେ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, କେନ୍ଦ୍ରାପଡା ବିଧାୟକ ଶଶୀ ଭୂଷଣ ବେହେରା ଏବଂ ଯାଜପୁରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱ ଯୋଗୁ ଓଡିଶା ଆଜି ସ୍ୱାସ୍ଥ୍ୟଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଟି କରିପାରିଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବରେ ସୁନାମ କରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ,ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁରର ସମସ୍ତ ବିଧାୟକ ଓ ସାସଦ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ରାଜ୍ୟର ୩୦ ଜିଲ୍ଲାର କଳାକାରମାନେ ଯୋଗ ଦେଇଥିଲେ ।

Leave A Reply

Your email address will not be published.