ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଖବରକାଗଜ ହକରମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା

0 88

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବରକାଗଜ ହକରମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି। ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି। ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକରମାନଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି। ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି। ଏହି ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହକରମାନେ ହେଉଛନ୍ତି ଖବରକାଗଜ ଓ ପାଠକମାନଙ୍କ ମଧ୍ୟରେ ସେତୁ। ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକମାନଙ୍କୁ ଖବରକାଗଜ ଯୋଗାଇଛନ୍ତି। ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମି ନାହିଁ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ। ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ବାଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକରମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି। ହକରମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍‌ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ।

Leave A Reply

Your email address will not be published.