ମୟୂରଭଞ୍ଜରେ ଦୁଇ ଜଳସେଚନ ପ୍ରକଳ୍ପ ଲୋକାର୍ପିତ ଚାଷୀଙ୍କ ମୁହଁରେ ଫୁଟିଲା ହସ

0 95

ମୟୂରଭଞ୍ଜ, ୧୨ା୮(ଡିକେ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହାସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି । ଆଜି ମୟୁରଭଞ୍ଜର ରାସଗୋବିନ୍ଦପୁରସ୍ଥିତ ଟିକପଦା ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପ ଲୋକାର୍ପିତ କରି କହିଛନ୍ତି ଯେ, ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି । ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି । ଜନଜାତି ପିଲାମାନେ ଆଜି ସେମାନଙ୍କ ଦକ୍ଷତା ବଳରେ ଦେଶ ବିତେଶରେ ସୁନାମ କରିପାରୁଛନ୍ତି ବୋଲି ସେ କହିଥିଲେ । ଆଜି ଲୋକାର୍ପିତ ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ୱାରା ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ୧୭,୧୨୧ ହେକ୍ଟର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ । ଏହାଦ୍ୱାରା ଉଭୟ ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ । ଏଥିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ସୂଚନାଯୋଗ୍ୟ ଯେ ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ୍‌ ଜଳସେଚନ ପ୍ରକଳ୍ପ । ଏହାଦ୍ୱାରା ସମୁଦାୟ ୭୦ ହଜାର ହେକ୍ଟର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ସୁଦ୍ଧା ୫୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି । ସେହିପରି ଦେଓ ଜଳସେଚନ ପ୍ରକଳ୍ପ ଦ୍ୱାରା ମୟୁରଭଞ୍ଜର ପ୍ରାୟ ୧୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ଏହାଦ୍ୱାରା ୧୦୦ଟି ଗାଁର ଦୁଇ ଲକ୍ଷ ଲୋକ ଉପକୃତ ହେବେ । ଏଥିପାଇଁ କରଞ୍ଜିଆ ବ୍ଲକର ହାତୀବାରି ଠାରେ ୮୨୩ କୋଟି ଟଙ୍କାରେ ଦେଓ ନଦୀ ଉପରେ ୧୨୮୦ ମିଟର ଦୈର୍ଘ୍ୟର ଏକ ବନ୍ଧ ନିର୍ମାଣ କରାଯାଇଛି । କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ବିକାଶ ଓ କଲ୍ୟାଣ ମୂଳକ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ସବୁ କାର୍ଯ୍ୟକ୍ରମ ଲୋକଙ୍କୁ ସଶକ୍ତ କରିଛି ଏବଂ ଲୋକଙ୍କ ଆଦର ଲାଭ କରିଛି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ପିଲାମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି କରିଛି । ଯେତେବେଳେ ମୟୁରଭଞ୍ଜର ଗୋଟିଏ ପିଲାଟିଏ ଗାଁ ସ୍କୁଲରେ ବିଶ୍ୱସ୍ତରୀୟ ଶିକ୍ଷା ସୁବିଧା ପାଉଛି, ସେତେବେଳେ କେବଳ ସେ ପିଲା ନୁହେଁ, ବା ଗାଁ ନୁହେଁ, ସାରା ଓଡିଶାର ଆଗକୁ ବଢିବାର ଚିତ୍ର ସ୍ପଷ୍ଟ ହେଉଛି ବୋଲି ସେ କହିଥିଲେ । ମୟୁରଭଞ୍ଜର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସାରା ଭାରତରେ ମୟୁରଭଞ୍ଜର ଏକ ସ୍ୱତନ୍ତ୍ର ପରିଚୟ ରହିଛି । ମୟୁରଭଞ୍ଜର ଜନଜାତି ଭାଇଭଉଣୀ ମାନଙ୍କର ଏକ ସମୃଦ୍ଧ ପରମ୍ପରା ରହିଛି । ସେ ଗୌରବକୁ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁଜୀ ଆହୁରି ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ତାଙ୍କ ପାଇଁ ଆମେ ସମସ୍ତେ ଗର୍ବିତ । ମୟୁରଭଞ୍ଜ ରାଜ୍ୟର ଏକ ବଡ ଓ ଗୁରୁତ୍ୱପୂର୍ଣ୍ଣ ଜିଲ୍ଲା ବୋଲି ମତ ଦେଇ ସେ କହିଲେ ଯେ ରାଜ୍ୟର ବିକାଶର ମୟୁରଭଞ୍ଜର ସ୍ୱତନ୍ତ୍ର ଅବଦାନ ରହିଛି । ସମସ୍ତେ ମିଶି ଜିଲ୍ଲାର ଓ ସାରା ରାଜ୍ୟର ବିକାଶ ପାଇଁ ହାତ ମିଳାଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର, ମୋରଡା ବିଧାୟକ
ରାଜକିଶୋର ଦାସ ବାଙ୍ଗରିପୋଷି ବିଧାୟକ ସୁଦାମ ମାର୍ଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପରିଷଦ ସଭାପତି ଭାରତୀ ହାଂସଦା ପ୍ରମୁଖ ବକ୍ତବ୍ୟ ରଖି ମୟୁରଭଞ୍ଜର ଚାଷୀମାନଙ୍କ ପାଇଁ ଏହି ଦୁଇଟି ପ୍ରକଳ୍ପର ଗୁରୁତ୍ୱ ବିଷୟରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଦେଶର ସବୁଠାରୁ ଲୋକପ୍ରିୟ ଓ ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବୋଲି ବର୍ଣ୍ଣନା କରି ଓଡିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ତାଙ୍କୁ ସମସ୍ତଙ୍କ ପ୍ରିୟଭାଜନ କରିପାରିଛି ବୋଲି ସେମାନେ ମତ ଦେଇଥିଲେ ।

Leave A Reply

Your email address will not be published.