ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ

0 59

ଭୁବନେଶ୍ୱର, ୧୬ା୮(ଡିକେ ନ୍ୟୁଜ): ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି “ସବୁ ଜୀବନ ମୂଲ୍ୟବାନ’ । ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ଅଧିକାରୀ ମାନଙ୍କୁ ଏହି ମର୍ମରେ ନିର୍ଦ୍ଦେଶ ଦେଇଛନ୍ତି । ପରିସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି । ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ । ବିପଦସଂକୁଳ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟସ୍ତରରେ ସଂପୃକ୍ତ ବିଭାଗମାନେ ଜିଲ୍ଲାଗୁଡିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ବିଭାଗଗୁଡିକୁ ନିର୍ଦ୍ଦେଶ ଦେଇ ଏନ୍‌ଡିଆରଏଫ୍‌, ଓଡିଆରଏଏଫ ଓ ଫାୟାର ସର୍ଭିସ ୟୁନିଟ୍‌ଗୁଡିକୁ ବିଭିନ୍ନ ବିପଦସଂକୁଳ ସ୍ଥାନଗୁଡିକରେ ସଜାଗ ରଖି ଆବଶ୍ୟକ ସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ହସ୍ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ୱଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ୱାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ସେପିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସଂପଦ ବିଭାଗ ଆବଶ୍ୟକ ସେବା ଯୋଗାଇ ଦେବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଂଜିନିୟରିଂ ବିଭାଗ ଗୁଡିକ ସେଗୁଡିକର ତୁରନ୍ତ ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବା ଆବଶ୍ୟକ । ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟୁତ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି । ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର ପି.କେ ଜେନା ପରିସ୍ଥିତି, ପ୍ରସ୍ତୁତି ଓ ପଦକ୍ଷେପ ସଂପର୍କରେ ଉପସ୍ଥାପନା ରଖି କହିଲେ ଯେ ମହାନଦୀର ଉପର ଓ ତଳମୁଣ୍ଡରେ ବର୍ଷା ହୋଇ ୧୦ଟି ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମ୍ଭାବନା ଦେଖାଦେଇଛି । ଗତକାଲି ହୀରାକୁଦର ୮ଟି ଗେଟ୍‌ ବନ୍ଦ କରାଯାଇଛି ଏବଂ ବର୍ତ୍ତମାନ ୪୦ଟି ଗେଟ୍‌ ଖୋଲା ରହିଛି । ୭ଟି ଜିଲ୍ଲାରେ ୯ଟି ଓଡ୍ରାଫ, ୬ଟି ଜିଲ୍ଲାରେ ୯ଟି ଏନ୍‌ଡିଆରଏଫ ଟିମ୍‌, ୪୪ଟି ଅଗ୍ନିଶମ ସେବା ୟୁନିଟ୍‌କୁ ସଜାଗ ରଖାଯାଇଛି । ସବୁ ଜିଲ୍ଲା ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି । ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକ ହେଲେ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେଥିପାଇଁ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ସହାୟତା ନେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଏହାସହିତ ନଦୀବନ୍ଧ ଗୁଡିକ ଉପରେ ନଜର ରଖିବା ଏବଂ ପ୍ରଭାବିତ ଅଞ୍ଚଳରେ ଆବଶ୍ୟ ସ୍ଥଳେ ଶିକ୍ଷାନୁଷ୍ଠାନଗୁଡିକୁ ବନ୍ଦ ରଖିବା ପାଇଁ ମଧ୍ୟ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସମ୍ବଲପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ କଟକ କମିଶନରଙ୍କ ସହିତ ପରିସ୍ଥିତି ସଂପର୍କରେ ଆଲୋଚନା କରିଥିଲେ । ବର୍ତ୍ତମାନ ସୁଦ୍ଧା ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ଏବଂ ଜିଲ୍ଲା ପ୍ରଶାସନ ସଂପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି । କେତେକ ସ୍ଥାନରେ ଲୋକଙ୍କୁ ସ୍ଥାନାନ୍ତରିତ ମଧ୍ୟ କରାଯାଉଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.