ମିଶନ ଶକ୍ତି ମା’ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା ଏଣିକି ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ

0 66

ଭୁବନେଶ୍ୱର, ୨୯ା୧୧(ଡିକେ ନ୍ୟୁଜ): ରାଜ୍ୟର ମିଶନ ଶକ୍ତି ମାଆମାନଙ୍କକାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ୨୦୨୨ ଅପ୍ରେଲ ପହିଲାରୁ ଏହି ନୂତନ ଋଣ ବ୍ୟବସ୍ଥା ଲାଗୁ ହେବ । ପୂର୍ବରୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଥିଲା । ଏହାକୁ ଏକ ଯୁଗାନ୍ତକାରୀ ପଦକ୍ଷେପ ରୂପେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହାଦ୍ୱାରା ଆମର ମିଶନ ଶକ୍ତି ମା’ମାନେ ଏସ୍‌ଏଚଜିରୁ ଏସ୍‌ଏମ୍‌ଇ ବା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ ଏବଂ ଆମର ଲକ୍ଷ ଲକ୍ଷ ମା’ମାନେ ଅଧିକ ଟଙ୍କାର ଋଣ ନେଇ ବଡ ବଡ ବ୍ୟବସାୟ କରିପାରିବେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶାର ରୂପାନ୍ତର କ୍ଷେତ୍ରରେ ମା’ମାନେ ହେଉଛନ୍ତି ଏକ ଅଭିନ୍ନ ଅଙ୍ଗ । ଆଜିର ଏହି ନିଷ୍ପତ୍ତି ସେମାନଙ୍କୁ ସଶକ୍ତ କରିବାରେ ଓ ସ୍ଥାନୀୟ ଅର୍ଥନୀତିକୁ ପ୍ରୋତ୍ସାହିତ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି । ମିଶନ ଶକ୍ତି ମାଆ ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବରେ ପରିଣତ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗାମୀ ୫ ବର୍ଷ ମଧ୍ୟରେ ମିଶନ ଶକ୍ତି ଗ୍ରୁପମାନଙ୍କୁ ପ୍ରାୟ ୫୦ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବା ପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ଏହାଦ୍ୱାରା ମିଶନ ଶକ୍ତିର ମା’ମାନେ ସଫଳ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ ବୋଲି ସେ ଆଶାପ୍ରକାଶ କରିଛନ୍ତି । ଆମ ପ୍ରତିଶୃତି ଅନୁଯାୟୀ ରାଜ୍ୟ ସରକାର ମିଶନ ଶକ୍ତି ମା’ମାନଙ୍କୁ ଗତ ୩ ବର୍ଷରେ ସରକାରୀ ଭାବରେ ୪୦୦୦ କୋଟି ଟଙ୍କାର ବିଜିନେସ୍‌ ଯୋଗାଇ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାସହିତ ଗତ ୫ ବର୍ଷରେ ମିଶନ ଶକ୍ତି ମା’ମାନଙ୍କୁ ୧୭ ହଜାର କୋଟିରୁ ଅଧିକ ଟଙ୍କାର ଋଣ ଯୋଗାଇ ଦିଆଯାଇଛି । ବର୍ତ୍ତମାନ ଆମର ମିଶନ ଶକ୍ତି ମା’ମାନଙ୍କୁ ଉତ୍ସାହିତ କରିବା ପାଇଁ ଓଡିଶା ସରକାର ବିନା ସୁଧରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସୁବିଧା ଯୋଗାଇ ଦେଉଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏହି କାର୍ଯ୍ୟକ୍ରମରେ ·ରି ଲକ୍ଷ ଏସ୍‌ଏଚ୍‌ଜି ଗ୍ରୁପ୍‌ର ବ୍ୟାଙ୍କ ଖାତାକୁ ରାଜ୍ୟ ସରକାର ୫୦୦ କୋଟି ଟଙ୍କାର ସୁଧ ଫେରାଇଛନ୍ତି । ମହିଳା ସଶକ୍ତିକରଣ ଦିଗରେ ମିଶନ ଶକ୍ତି ଏକ ଅଭିନବ ଉଦ୍ୟମ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ୭୦ ଲକ୍ଷ ମା’ମାନଙ୍କୁ ୬ଲକ୍ଷ ଏସ୍‌ଏଚ୍‌ଜି ଜରିଆରେ ଏହା ଏକାଠି କରିପାରିଛି । ଏହି ଆନ୍ଦୋଳନକୁ ଆହୁରି ଆଗକୁ ନେବା ପାଇଁ ତାଙ୍କ ସରକାର ସ୍ୱତନ୍ତ୍ର ଭାବରେ ମିଶନ
ଶକ୍ତି ବିଭାଗ ଗଠନ କରିଛନ୍ତି ଏବଂ ସବୁ ଏସ୍‌ଏଚ୍‌ଜି କାର୍ଯ୍ୟକ୍ରମ ଏହି ବିଭାଗ ଜରିଆରେ ହିଁ କାର୍ଯ୍ୟକାରୀ କରାଯାଉଛି ବୋଲି ସେ କହିଥିଲେ । ସୂଚନାଯୋଗ୍ୟ ଯେ ୨୦୨୦ ଜୁନ୍‌ ୧ ତାରିଖରେ ମିଶନ ଶକ୍ତି ବିଭାଗ ପ୍ରତିଷ୍ଠା କରାଯାଇ ରାଜ୍ୟର ସବୁ ଏସ୍‌ଏଚଜି କାର୍ଯ୍ୟକ୍ରମକୁ ଗୋଟିଏ ବିଭାଗ ଅଧୀନରେ ରଖାଯାଇଥିଲା ।

Leave A Reply

Your email address will not be published.