ଭୁବନେଶ୍ୱର, ୪/7: କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ ସରକାର ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ନିଷ୍ପତି ଗ୍ରହଣ କରିଛନ୍ତି । ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ ପଂଚାୟତକୁ ସାମିଲ କରି ପୁରୀ ମହାନଗର ନିଗମ ଗଠିତ ହେବ । ଏହା ଦ୍ୱାରା ପୁରୀ ସଦର ଏବଂ ବ୍ରହ୍ମଗିରି ବ୍ଲକର ପ୍ରାୟ ସାତରୁ ଆଠଗୋଟି ଗ୍ରାମ ପଂଚାୟତକୁ ସାମିଲ କରାଯିବ, ଯାହା ଫଳରେ ଏହି ପଂଚାୟତବାସୀ ସହର ପରି ସୁବିଧା ପାଇ ପାରିବେ । ଆସନ୍ତା କାଲି ଠାରୁ ଏହ ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା ଆରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏବେ ପବିତ୍ର ପୁରୀ ସହରରେ ମହାପ୍ରଭୁଙ୍କ ଘୋଷଯାତ୍ରା ଜାରି ରହିଛି । ବାହୁଡା ଯାତ୍ରା ପାଇଁ ମହାପ୍ରଭୁ ଆଜ୍ଞା ଦେଇସାରିଛନ୍ତି । ଏହି ଯାତ୍ରାକୁ ସୂଚାରୁ ରୂପେ ଏବଂ ସୁରକ୍ଷିତ ଢଙ୍ଗରେ ସଂପୂର୍ଣ୍ଣ କରିବା ପାଇଁ ଠାକୁରଙ୍କ ନିର୍ଦ୍ଦେଶରେ ସମସ୍ତେ ନିଜ ନିଜ ସେବା ପ୍ରଦାନ କରୁଛନ୍ତି । ପୁରୀ ଜଗନ୍ନାଥ ଧାମ ସାରା ଭାରତର ସବୁ ଧର୍ମସ୍ଥଳୀ ଠାରୁ ଅନନ୍ୟ । ଏଠାରେ ଭକ୍ତ ଜାତି, ଧର୍ମ, ବର୍ଣ୍ଣ, ସମ୍ପ୍ରଦାୟ ନିର୍ବିଶେଷରେ ସମସ୍ତେ ଏକାକାର ହୋଇ ଯାଆନ୍ତି । ବର୍ତମାନର ପୁରୀ ପୌରପାଳିକା ଉଭୟ ଭକ୍ତ ଏବଂ ସହରବାସୀଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହୋଇନାହିଁ । ଏହି ଲକ୍ଷ୍ୟ ହାସଲ କରିବା ପାଇଁ ସ୍ଥାନୀୟ ସ୍ୱାୟତ ଶାସନ ପଦ୍ଧତିରେ ସଂସ୍କାର ଆଣିବାକୁ ପଡିବ । ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ ତଦାରଖ, ପୁନର୍ବିନ୍ୟାସ ଏବଂ ରକ୍ଷଣାବେକ୍ଷଣ କରିବା ପାଇଁ ନୂତନ ଢାଂଚାର ଆବଶ୍ୟକତା ରହିଛି । ତେଣୁ ଏହାକୁ ମହାନଗର ନିଗମ କରାଯିବାକୁ ନିଷ୍ପତି ହୋଇଛି ।
ପୁରୀକୁ ଦେଶର ସର୍ବଶ୍ରେଷ୍ଠ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ଗୋଳିବାକୁ ଆମ ସରକାର ବଦ୍ଧପରିକର । ଏଥିପାଇଁ ଅନେକ ନୂତନ ପ୍ରକଳ୍ପର ନିର୍ମାଣ ଏବଂ ରକ୍ଷଣା ବେକ୍ଷଣର ଅବଶ୍ୟକତା ରହିଛି । ୨୦୩୬ ସୁଦ୍ଧା ପୁରୀକୁ ଦେଶର ଏକ ମୁଖ୍ୟ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ଏକ ସୁନ୍ଦର, ସବୁଜ, ବିକଶିତ ପୁରୀ ସହର ବିନା ସମୃଦ୍ଧ ଓଡିଶାର ପରିକଳ୍ପନା ଅସମ୍ଭବ । ଆଜିର ଏହି ଘୋଷଣା ସରକାରଙ୍କ ଏହି ଭିଜନର ଏକ ଅଂଶ ବିଶେଷ ।