ଭୁବନେଶ୍ୱର, : ଜାତୀୟ ହସ୍ତତନ୍ତ ଦିବସ ଅବସରରେ ସ୍ଥାନୀୟ ଜନତା ମୈଦାନଠାରେ ଆୟୋଜିତ ହସ୍ତତନ୍ତ ମେଳା ଏକତାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ । ଆମର ‘ହସ୍ତତନ୍ତ କ୍ଷେତ୍ର\’ କେବଳ ଏକ ଆର୍ଥିକ ସ୍ତମ୍ଭ ନୁହେଁ ବରଂ ଏହା ଜାତୀୟ ଗର୍ବ ଓ ଗରିମାର ପ୍ରତୀକ । ପ୍ରାଚୀନ ସାମୁଦ୍ରିକ ବାଣିଜ୍ୟରୁ ଆରମ୍ଭ କରି ବର୍ତ୍ତମାନର ବିଶ୍ୱ ଫ୍ୟାଶନ୍ ପ୍ଲାଟଫର୍ମ ପର୍ଯ୍ୟନ୍ତ, ଆମର ବୟନ ସର୍ବଦା ଉତ୍କର୍ଷତା, ଆଧ୍ୟାତ୍ମିକତା ଓ ସଂସ୍କୃତିର ଜୟଗାନ କରିଆସିଛି । ହସ୍ତତନ୍ତ ଉନ୍ନୟନ ଯୋଜନା ମାଧ୍ୟମରେ ବୁଣାକାରମାନଙ୍କ ସାମାଜିକ-ଆର୍ଥିକ ଅବସ୍ଥାକୁ ଉନ୍ନତ କରିବା ପାଇଁ ସରକାରଙ୍କ ଲକ୍ଷ୍ୟ ରହିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ଏକ ବର୍ଷ ପାଇଁ ଓଡିଶା ହ୍ୟାଣ୍ଡଲୁମର ବ୍ରାଣ୍ଡ ଆମ୍ବାସାଡର ଭାବେ ଅନୁବନ୍ଧିତ କରାଯାଇଛି ବୋଲି ଘୋଷଣା କରିଥିଲେ । ମାଧୁରୀ ଦୀକ୍ଷିତଙ୍କ ସକ୍ରିୟ ସହଯୋଗରେ ଓଡିଶା ହସ୍ତତନ୍ତରୁ ପ୍ରସ୍ତୁତ ପୋଷାକ ଦେଶ ବିଦେଶର ଫେସନ ଜଗତରେ ପ୍ରତିଷ୍ଠା ଅର୍ଜନ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ୩୦ଟି ଜିଲ୍ଲାରେ ୧ ଲକ୍ଷ ୩୦ ହଜାରରୁ ଅଧିକ ବୁଣାକାର ଓ ସହାୟକ ଶ୍ରମିକ ହସ୍ତତନ୍ତ କ୍ଷେତ୍ରରେ ସିଧାସଳଖ ନିୟୋଜିତ ଅଛନ୍ତି । ପ୍ରାଥମିକ ବୁଣାକାର ସମବାୟ ସମିତି, ସ୍ୱୟଂ ସହାୟକ ଗୋଷ୍ଠୀ ଓ ଉତ୍ପାଦକ ଗୋଷ୍ଠୀ ଜରିଆରେ ଆମର ବୁଣାକାର ବନ୍ଧୁମାନେ ସଂଗଠିତ ହୋଇ ବୟନ ଐତିହ୍ୟକୁ ବଜାୟ ରଖିବା ପାଇଁ କାର୍ଯ୍ୟ କରିଆସୁଛନ୍ତି । ପୂର୍ବ ଭାରତର ସର୍ବବୃହତ ଓଡିଶା ଟେକ୍ସଟାଇଲ କନକ୍ଲେଭରେ ରାଜ୍ୟରେ ଟେକ୍ସଟାଇଲ ଶିଳ୍ପ ପ୍ରତିଷ୍ଠା ପାଇଁ ୭ ହଜାର ୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ ସହ ୩୩ଟି ଏମଓୟୁ ସ୍ୱାକ୍ଷରିତ ହୋଇଛି ଏବଂ ଏହା ମାଧ୍ୟମରେ ଟେକ୍ସଟାଇଲ କ୍ଷେତ୍ରରେ ୫୩ ହଜାର ୩୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ସେ କହିଥିଲେ । ସେ ପୁଣି କହିଥିଲେ ଯେ ଭିତ୍ତିଭୂମି ଓ ପ୍ରତିଷ୍ଠାନଗତ ସହାୟତା ଦିଗରେ ଆମ ସରକାର ତତ୍ପର ଅଛନ୍ତି । ଆମେ ବରଗଡ଼, କଟକରେ ଡାଇ ହାଉସ୍, ଗୋଦାମ, ଡିଜାଇନ୍ ଷ୍ଟୁଡିଓ, ଗୁଣବତ୍ତା ନିୟନ୍ତ୍ରଣ ପରୀକ୍ଷାଗାର ଭଳି ସାଧାରଣ ସୁବିଧା ସହିତ ହସ୍ତତନ୍ତ ପାର୍କ ବିକଶିତ କରୁଛୁ । ଉତ୍କର୍ଷତା ଏବଂ ନବସୃଜନ ପାଇଁ ଓଡ଼ିଶାର ୪୦ରୁ ଅଧିକ ମାଷ୍ଟର ବୁଣାକାରଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି । ୧୨୦ ବର୍ଷ ପୂର୍ବେ ଯେଉଁ ସ୍ୱଦେଶୀ ଆନ୍ଦୋଳନକୁ ଚରିତାର୍ଥ କରିବା ପାଇଁ ଏହା ଆରମ୍ଭ ହୋଇଥିଲା । ଆଜି ମଧ୍ୟ ସମୟ ଆସିଛି ଆମେ ଆମ ବୁଣାକାରଙ୍କୁ ସମ୍ମାନ ଦେବା ଏବଂ ତାଙ୍କ ପ୍ରସ୍ତୁତ ବସ୍ତ୍ର ବ୍ୟବହାର କରିବା ବୋଲି ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ହସ୍ତତନ୍ତ ଦିବସର ମାସ୍କଟ ରେଶା ଏବଂ ହସ୍ତତନ୍ତ ଶିଳ୍ପ ଉପରେ ଆଧାରିତ ଏକ କ୍ଷୁଦ୍ର ଚଳଚ୍ଚିତ୍ର ଉନ୍ମୋଚନ କରିଥିଲେ । ତତ୍ସହିତ ମୁଖ୍ୟମନ୍ତ୍ରୀ, ରାଜ୍ୟର ହସ୍ତତନ୍ତ ବୁଣାକାରମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ପ୍ରସିଦ୍ଧ ଚଳଚ୍ଚିତ୍ର ଅଭିନେତ୍ରୀ ତଥା ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସାଡର ମାଧୁରୀ ଦୀକ୍ଷିତ କହିଥିଲେ ଯେ ସେ ବୁଣାକାରଙ୍କ ହୃଦୟର ସ୍ପନ୍ଦନକୁ ଅନୁଭବ କରନ୍ତି । ଏହି ଶିଳ୍ପ କେବଳ ବସ୍ତ୍ର ନୁହେଁ ପ୍ରତ୍ୟେକ ଓଡ଼ିଆର ପରିଚୟ ଏବଂ ଏହା ହିଁ ଓଡ଼ିଆ ଅସ୍ମିତା । ହସ୍ତତନ୍ତ କେବଳ ଜୀବିକା ନୁହେଁ, ଏହା ହେଉଛି ଆମ ସଂସ୍କୃତି ଓ ଆମ ଜୀବନଶୈଳୀର ଏକ ଅଭିନ୍ନ ଅଙ୍ଗ ବୋଲି ସେ କହିଥିଲେ । ଏହି ଅବସରରେ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ତଥା ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଥିଲେ ଯେ, ଆମ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ, ବୟନ ଶିଳ୍ପର ଗୌରବମୟ ପରମ୍ପରାକୁ ବଜାୟ ରଖି ଏହାକୁ ଏକ ଆଧୁନିକ ବଜାର-ଚାହିଦା ଭିତ୍ତିକ ଉତ୍ପାଦରେ ପରିଣତ କରିବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି । ମୁଖ୍ୟମନ୍ତ୍ରୀ ହସ୍ତତନ୍ତ ଶ୍ରମିକ ସମ୍ମାନ ଯୋଜନା, ହସ୍ତତନ୍ତ ଶିଳ୍ପୀ ସଂପ୍ରସାରଣ ନୀତି, ଏବଂ ବିଭିନ୍ନ ଶିଳ୍ପ ମେଳା ଓ ଅନୁଦାନ ଯୋଜନା ମାଧ୍ୟମରେ ହସ୍ତତନ୍ତ ଶିଳ୍ପୀଙ୍କ ଉନ୍ନତି ସୁନିଶ୍ଚିତ କରାଯାଇଛି । ରାଜ୍ୟର ନୂଆ ପିଢିକୁ ଆହ୍ୱାନ ଦେଇ ସେ କହିଥିଲେ ଯେ- ଆମ ଓଡ଼ିଶାର ହସ୍ତତନ୍ତ ପୋଷାକ ପିନ୍ଧନ୍ତୁ, ଶିଳ୍ପୀଙ୍କୁ ସମ୍ମାନ କରନ୍ତୁ, ସ୍ୱଦେଶୀ ଉତ୍ପାଦନକୁ ଗ୍ରହଣ କରନ୍ତୁ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଉପସ୍ଥିତ ଥିଲେ । ବିଭାଗୀୟ କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ନିର୍ଦ୍ଦେଶକ ପ୍ରେମ ଚାନ୍ଦ ଚୌଧାରୀ ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନା ଯୋଗ୍ୟ ଯେ ଏହି ହସ୍ତତନ୍ତ ମେଳା ଗୁରୁବାରଠାରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଜନତା ମୈଦାନ ଠାରେ ଚାଲିବ ।