ଗଜପତିର ଶିଶୁପୁତ୍ରକୁ ପୋଷ୍ୟ ଭାବେ ଗ୍ରହଣ କଲେ ଗଞ୍ଜାମ ଦମ୍ପତ୍ତି

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର ପୌଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୨ତମ ଶିଶୁକୁ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ ଗଞ୍ଜାମ ଜିଲ୍ଲାର ଗୋଟିଏ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି । ଲକ୍‌ଡାନ୍ ଏବଂ ସଟ୍‌ଡାଉନ୍ ସମୟରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ପରିତ୍ୟକ୍ତ ଏବଂ ସମର୍ପିତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ ପାରଳାଖେମୁଣ୍ଡି ଠାରେ ଥିବା କେନ୍ଦ୍ର ‘ନିସାନ ସାଲୋମ’ ଠାରେ ରଖାଯିବା ସହ ସେମାନଙ୍କର ଆଡପସନ୍ ପାଇଁ କେନ୍ଦ୍ରୀ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ କରାଯାଇଥିଲା । ପରବର୍ତ୍ତୀ ମୁହୂର୍ତ୍ତରେ ଉପରୋକ୍ତ ଦମ୍ପତ୍ତି ଶାରୀରିକ ଭାବେ ଶିଶୁକୁ ପସନ୍ଦ କରି ନେବା ପାଇଁ ସ୍ଥିର କରିଥିଲେ । ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ପ୍ରସ୍ତୁତ କରିଥିଲେ ।

ପରବର୍ତ୍ତି ମୁହୁର୍ତ୍ତରେ ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଶ୍ରୀପଣ୍ଡା ଯାଞ୍ଚ କରିବା ପରେ ଶିଶୁଟିକୁ ଗଞ୍ଜାମର ଦମ୍ପତ୍ତିଙ୍କୁ ହସ୍ତାନ୍ତର କରାଯାଇଥିଲା । ଏହି ଶିଶୁଟି ପୁତ୍ର ସନ୍ତାନ ହୋଇଥିବା ବେଳେ ଶିଶୁଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା । ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରୀପାଠୀ, ଗୁରାଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ମିଲନ୍ କୁମାର ଅଧିକାରୀ, ‘ନିସାନ ସାଲୋମ’ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଏବଂ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର କର୍ମକର୍ତ୍ତାମାନେ ଉପସ୍ଥିତଥିଲେ ।

Comments (0)
Add Comment