ଭୁବନେଶ୍ୱର, ୩୦ା୭ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି । ୩ଟି ବନ୍ୟା ପ୍ରଭାବିତ ଜିଲ୍ଲା ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସି ସବିଶେଷ ସୂଚନା ଦେଇଛନ୍ତି । ରାଜ୍ୟର ଯେଉଁ ସ୍ଥାନରେ ବନ୍ୟା ଯୋଗୁ କ୍ଷୟକ୍ଷତି ହୋଇଛି ସେମାନଙ୍କୁ ତୁରନ୍ତ ସହୟତା ମିଳିବ । କ୍ଷୟକ୍ଷତିର ତୁରନ୍ତ ଆକଳନ କରି ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରିପୋର୍ଟ ପାଇବା ପରେ କ୍ଷତିଗ୍ରସ୍ତ ଲୋକଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦିଆଯିବ । ଘର ଭଙ୍ଗା ଏବଂ ଗୋ-ସମ୍ପଦର କ୍ଷୟକ୍ଷତି ରିପୋର୍ଟ ମଗାଯିବା ସହିତ ଯେଉଁ ଗାଁଗୁଡ଼ିକରେ ରାସ୍ତା ଖରାପ ହୋଇଯାଇଛି ସେଗୁଡିକ ତୁରନ୍ତ ମରାମତି କରି ଯୋଗାଯୋଗ ବ୍ୟବସ୍ଥା ପୁନସ୍ଥାପିତ କରାଯିବ । ପ୍ରଭାବିତ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ପଶୁଖାଦ୍ୟ ଯୋଗାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନଠାରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ୩ ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି । ବାଲେଶ୍ୱରର ୪ଟି ବ୍ଲକ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁରର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ । ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ବିଭିନ୍ନ ନଦୀରେ ଜଳସ୍ତର କମୁଛି । ବାଲେଶ୍ୱର ଜିଲ୍ଲାର ସୁବର୍ଣ୍ଣରେଖା ଓ ଜଳକା ଆଦି ନଦୀରେ ପାଣି କମିବାରେ ଲାଗିଛି । ବନ୍ୟାପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଅଛି । କେନ୍ଦୁଝର ଏବଂ ଅନ୍ୟ କିଛି ଜିଲ୍ଲାରେ ବନ୍ୟା ହୋଇଥିଲେ ମଧ୍ୟ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ଶୁଖିଲା ଖାଦ୍ୟ ଏବଂ ଆବଶ୍ୟକସ୍ଥଳେ ଗରମ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି । ଏଥିପାଇଁ ବାଲେଶ୍ୱରରେ ୧୬ଟି, ଭଦ୍ରକରେ ୧୦ଟି ଓ ଯାଜପୁରରେ ୩ଟି ଫ୍ରି କିଚିନର ବ୍ୟବସ୍ଥା କରାଯାଇଛି । ସମୁଦାୟ ପ୍ରାୟ ୧୦ ହଜାର ପ୍ରଭାବିତ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ଏବଂ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବନ୍ୟା ପରବର୍ତ୍ତୀ ସମୟରେ ଅନେକ ସମସ୍ୟା ଦେଖାଦିଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଶେଷ କରି ଡାଇରିଆ ଓ ଅନ୍ୟାନ୍ୟ ଜଳ ବାହିତ ରୋଗର ନିୟନ୍ତ୍ରଣ ପାଇ ଜଳ ଉତ୍ସ ଗୁଡିକର ବିଶୁଦ୍ଧକରଣ ଉପରେ ଗୁରୁତ୍ୱ ଦିଆଯାଇଛି । ଏହାକୁ ଜାରି ରଖିବା ପାଇଁ ସ୍ଥାନୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କୌଣସି ପରିସ୍ଥିତିରେ ଯେପରି ଡାଇରିଆ ରୋଗର ପ୍ରଭାବ ଦେଖା ନ ଯିବ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ବୋଲି ସେ କହିଥିଲେ । ଅନେକ ସ୍ଥାନରେ ସାପ କାମୁଡା ପରି ଘଟଣା ଘଟେ ବୋଲି ପ୍ରକାଶ କରି ସେ କହିଥିଲେ,ଏଥିପାଇଁ ବ୍ୟାପକ ପରିମାଣରେ ଆଣ୍ଟିଭେନମ ଓ ଅନ୍ୟାନ୍ୟ ଆବଶ୍ୟକ ଔଷଧ ମହଜୁଦ ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବାଲେଶ୍ୱର ଜିଲ୍ଲାରେ ୧୭ଟି ଓଡ୍ରାଫ ଓ ୧୩ଟି ଅଗ୍ନିଶମ ସେବା ଟିମ, ଭଦ୍ରକ ଜିଲ୍ଲାରେ ଗୋଟିଏ ଏନଡିଆର୍ଏଫ୍, ଗୋଟିଏ ଓଡ୍ରାଫ ଓ ୧୩ଟି ଅଗ୍ନିଶମ ସେବା ଟିମ୍, ଯାଜପୁର ଜିଲ୍ଲାରେ ଗୋଟିଏ ଓଡ୍ରାଫ୍ ଓ ୧୪ଟି ଅଗ୍ନିଶମ ସେବା ଟିମ୍ ମୁତୟନ କରାଯାଇଛି । ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂ ଉପସ୍ଥିତ ଥିଲେ ।